ସେପ୍ଟେମ୍ବର ୨୭ ରେ ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତ ପରିପ୍ରେକ୍ଷୀରେ ପ୍ରସ୍ତୁତି ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା
ଭୁବନେଶ୍ୱର, ତା-୨୦/୦୯/୨୦୨୫ ଆସନ୍ତା ସେପ୍ଟେମ୍ବର ୨୭ ତାରିଖରେ ମାନ୍ୟବର ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତ କରି ବ୍ରହ୍ମପୁରଠାରେ ଜାତୀୟ ସ୍ତରୀୟ ‘ସେବା ପର୍ବ’ କାର୍ଯ୍ୟକ୍ରମରେ ଯୋଗଦେଇ ଓଡ଼ିଶା ସମେତ ଦେଶର ବିଭିନ୍ନ ରାଜ୍ୟର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ, ଶିଳାନ୍ୟାସ ଓ ଲୋକାର୍ପଣ କରିବେ । ଏଥିପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ନେଇ ଗତକାଲି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରସ୍ତୁତି ବୈଠକ କରି ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ । ଏହାପରେ ଆଜି ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଲୋକସେବା ଭବନରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ସ୍ତିରୀକୃତ ହୋଇଥିବା ବିଭିନ୍ନ କାର୍ଯ୍ୟକ୍ରମର ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ସମେତ ସଂପୃକ୍ତ ବିଭିନ୍ନ ବିଭାଗର ପଦାଧିକାରୀ ଉପସ୍ଥିତ ଥିଲେ । ଗଞ୍ଜାମ ଜିଲ୍ଲାପାଳ ଶ୍ରୀ କୀର୍ତ୍ତି ଭାସନ ଭି. ଆଭାସୀ ମାଧ୍ୟମରେ ଯୋଗଦେଇଥିଲେ । ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରଓ୍ୱାଲ କାର୍ଯ୍ୟକ୍ରମ ସଂପର୍କରେ ସବିଶେଷ ଉପସ୍ଥାପନ କରିଥିଲେ । ମାନ୍ୟବର ପ୍ରଧାନମନ୍ତ୍ରୀଙ୍କର ସେଦିନ ଯେଉଁ ଯେଉଁ କାର୍ଯ୍ୟକ୍ରମ ରହିଛି, ତାହାର କାର୍ଯ୍ୟସୂଚୀ ଉପରେ ଆଲୋକପାତ କରାଯାଇଥିଲା । ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସ୍ଥଳ ଓ ଆଭାସୀ ମାଧ୍ୟମରେ ବିଭିନ୍ନ କାର୍ଯ୍ୟକ୍ରମ ରହିଥିବାରୁ ସେସବୁକୁ ଉପଯୁକ୍ତ ସମନ୍ୱୟ ଓ ସହଯୋଗର ସହିତ ସଂପାଦନ କରିବାକୁ ମୁଖ୍ୟ ସଚିବ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ସଭା ସ୍ଥଳରେ ମଞ୍ଚ ପ୍ରସ୍ତୁତି, ଅତିଥି ଓ ଦର୍ଶକମାନଙ୍କ ବସିବା, ଇଭେଣ୍ଟ ଚେକ୍ ଲିଷ୍ଟ, ମଞ୍ଚ ପ୍ରସ୍ତୁତି ଚୂଡ଼ାନ୍ତ କରାଯିବା, ଆଦି ସଂପର୍କରେ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା ।
