ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଫଗୁଦଶମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଫଗୁ ଦଶମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଆଜିଠୁ ଶ୍ରୀମନ୍ଦିରରେ ଏକ ସପ୍ତାହ ଧରି ଦୋଳଉତ୍ସବ ମଧ୍ୟ ଆରମ୍ଭ ହେବ। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଦୋଳଯାତ୍ରା ଅନ୍ୟତମ ପ୍ରମୁଖ ଯାତ୍ରା ଅଟେ । ଫଗୁ ଦଶମୀରେ ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବାପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ସ୍ୱତନ୍ତ୍ର ବିମାନରେ ବସି ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିବେ । ସେଠାରେ ଅବିର ଓ ଫଗୁ ଲାଗି କରାଯିବ । ବିଶ୍ୱାସ ରହିଛି, ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର କୃଷ୍ଣ ପ୍ରତିପଦା ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ । ଆଜି ଫଗୁ ଦଶମୀ ଅବସରରେ ମହାପ୍ରଭୁଙ୍କ ଚାଚେରୀ ବେଶ ଓ ଚାଚେରୀ ଭୋଗ ଅନୁଷ୍ଠିତ ହେବ। ଆସନ୍ତା ଚତୁର୍ଦଶୀ ତିଥି ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ଚାଚେରୀ ବେଶରେ ମହାପ୍ରଭୁ ରକ୍ତବସ୍ତ୍ର ପରିଧାନ କରିବା ସହ ବିଭିନ୍ନ ଅଳଙ୍କାରରେ ସଜିତ ହେବେ। ପ୍ରତିଦିନ ମଧ୍ୟାହ୍ନଧୂପ ସରିବା ପରେ ମହାପ୍ରଭୁଙ୍କୁ ଏହି ବେଶରେ ସଜିତ କରାଯିବ। ଆଜି ମଧ୍ୟ ଠାକୁର ଠାକୁରାଣୀଙ୍କୁ ଝିମିରି ଫଗୁ ଲାଗି କରାଯିବ। ସେପଟେ ଆସନ୍ତା 2 ତାରିଖରେ ମେଣ୍ଢାପୋଡି ଉତ୍ସବ ଅନୁଷ୍ଠିତ ହେବାସହ 3 ତାରିଖ ମଙ୍ଗଳବାରରେ ଦୋଳପୂର୍ଣ୍ନୀମା ଅବସରରେ ଚତୁର୍ଦ୍ଧାବିଗ୍ରହ ଲକ୍ଷାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ସୁନାବେଶରେ ଦର୍ଶନ ଦେଵେ। ଦୋଳପୂର୍ଣ୍ନିମା ଦିନ କେତୁଗ୍ରସ୍ତ ଗ୍ରସ୍ତୋଦୟ ଚନ୍ଦ୍ର ଗ୍ରହଣ ପଡୁଥିବାରୁ ନୀତିକାନ୍ତି ସଅଳ କରିବାକୁ ଛତିଶାନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି।

Leave a Reply

Your email address will not be published. Required fields are marked *