ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାର୍ଯ୍ୟର ଅନୁକୂଳ

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାର୍ଯ୍ୟର ଅନୁକୂଳ ସହ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା। ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇ ତିନିବାଡର ପୂଜାପଣ୍ଡା ସେବାୟତମାନେ ବିରାଟ ଶୋଭାଯାତ୍ରାରେ ବାହାରି ଶ୍ରୀମନ୍ଦିର କାର୍ଯ୍ୟାଳୟ ଠାରେ ପହଞ୍ଚିବା ପରେ ସେଠାରେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ କରାଯାଇଥିଲା। ଶ୍ରୀମନ୍ଦିର ଶ୍ରୋତୀୟ ବ୍ରାହ୍ମଣ ଓ ରାଜପୁରୋହିତଙ୍କ ଦ୍ବାରା ବନଯାଗ ବିଧିରେ ପୂଜାର୍ଚ୍ଚନା ସହ ବିଶ୍ଵକର୍ମା ମହାରଣାଙ୍କ ଶାଢୀ ବନ୍ଧା ନୀତି ପରେ ସୁନା କୁରାଢିରେ ରଥନିର୍ମାଣ କାର୍ଯ୍ୟର‌ ଅନୁକୂଳ କରାଯାଇଥିଲା। ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାର୍ଯ୍ୟ ଓ ଏହି ଯାତ୍ରା ସୁରୁଖୁରୁରେ କିଭଳି ସମ୍ପାଦନ ହେବ ସେ ନେଇ ସମସ୍ତେ ପ୍ରାର୍ଥନା କରିଥିଲେ। ଆଜିଠାରୁ ରଥଖଳା ଚଳଚଞ୍ଚଳ ହୋଇଉଠିଛି |

ଏପଟେ ଅକ୍ଷୟ ତୃତୀୟା ଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା। ଦୋଳରେ ଦୋଳ ଗୋବିନ୍ଦ, ଚାପରେ ମଧୁସୂଦନ, ରଥରେ ବାମନ ରୂପରେ ମହାପ୍ରଭୁଙ୍କ ଦର୍ଶନ କଲେ ପୁନର୍ଜନ୍ମ ମିଳିନଥାଏ ବୋଲି ବିଶ୍ବାସ ରହିଛି। ତେଣୁ ଚନ୍ଦନ ଯାତ୍ରା ଅବସରରେ ଗତକାଲି ଠାରୁ ୨୧ ଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ, ଭୂଦେବୀ, ଶ୍ରୀଦେବୀ ଓ ଶ୍ରୀକ୍ଷେତ୍ରର ପଞ୍ଚ ପାଣ୍ଡବଙ୍କୁ ସେବାୟତ ମାନେ ମଣି ବିମାନରେ ଚନ୍ଦନ ପୁଷ୍କରିଣୀ ନରେନ୍ଦ୍ର ଅଭିମୁଖେ ନେଇଥାନ୍ତି। ପ୍ରବଳ ଗ୍ରୀଷ୍ମ ତାପରୁ ରକ୍ଷା ପାଇବା ପାଇଁ ମହାପ୍ରଭୁ ସେଠାରେ ମନୁଷ୍ୟ ଲୀଳାରେ ନୌକା ବିହାର କରିଥାନ୍ତି। ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରାରେ ଭକ୍ତ ମାନେ ସାମିଲ ହୋଇ ନିଜକୁ ଧନ୍ୟ ମନେ କରିଥିବା କରିଛନ୍ତି। ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ନରେନ୍ଦ୍ର ପୁଷ୍କରିଣୀ ଚାରିପଟେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ସେହିପରି ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା ।

Leave a Reply

Your email address will not be published. Required fields are marked *